﻿ଆୟୁବ.
17.
ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି। 
ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି। 
ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ? 
କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ। 
ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ। 
ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି। 
ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି। 
ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ। 
ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ। 
ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ। 
ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା। 
ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି। 
ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; 
ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’ କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’ 
ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ? 
ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।” 
