﻿ଆୟୁବ.
21.
ଏଥିରେ ଆୟୁବ ଉତ୍ତର କରି କହିଲା, 
“ମନୋଯୋଗ କରି ମୋʼ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ହେଉ। 
ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ। 
ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି? 
ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ। 
ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ। 
ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି? 
ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି। 
ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ, କିଅବା ସେମାନଙ୍କ ଉପରେ ପରମେଶ୍ୱରଙ୍କର ଯଷ୍ଟି ନ ଥାଏ। 
ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ। 
ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି। 
ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ୱନିରେ ଆନନ୍ଦ କରନ୍ତି। 
ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇଯାʼନ୍ତି। 
ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗ ବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ। 
ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା?’ 
ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼ ଠାରୁ ଦୂରରେ ଥାଏ। 
କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି? 
ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି? 
ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’ ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ। 
ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ। 
କାରଣ ମଧ୍ୟଭାଗରୁ ତାହାର ମାସ-ସଂଖ୍ୟା କଟାଗଲେ, ତାହାର ପଶ୍ଚାଦ୍‍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ? 
ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ? 
କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ; 
ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ। 
ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ୱାଦ ପାଏ ନାହିଁ। 
ଏମାନେ ଏକ ସମାନ ମାଟିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ। 
ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଂକଳ୍ପସବୁ ଜାଣେ। 
କାରଣ ତୁମ୍ଭେମାନେ କହୁଅଛ, ‘ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ବୁ କାହିଁ?’ 
ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ, 
ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି? 
ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ? ଓ କିଏ ତାହାର କୃତ କର୍ମର ଫଳ ତାହାକୁ ଦେବ? 
ତଥାପି ସେ କବରକୁ ବହାଯିବ ଓ କବର ଉପରେ ପ୍ରହରୀ ରହିବ। 
ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍‍ ସମସ୍ତ ଲୋକ ଗମନ କରିବେ। 
ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ୱନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ।” 
