﻿ଗୀତସଂହିତା.
66.
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 
ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର। 
ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ। 
ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।” 
ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି। 
ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ; ଲୋକମାନେ ନଦୀ ମଧ୍ୟଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ। 
ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। ସେଲା 
ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ; 
ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ। 
କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ। 
ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ। 
ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ। 
ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ 
ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହି ସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି। 
ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। ସେଲା 
ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି। 
ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ। 
ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ; 
ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି। 
ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼ ଠାରୁ ଆପଣା ଦୟା ଦୂର କରି ନାହାନ୍ତି। 
