﻿ଗୀତସଂହିତା.
96.
ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। 
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର। 
ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର। 
କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ। 
କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। 
ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ। 
ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର। 
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ। 
ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ। 
“ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।” 
ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; 
କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; 
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ। 
