﻿ଗୀତସଂହିତା.
140.
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର। 
ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତିଦିନ ଏକତ୍ରିତ ହୁଅନ୍ତି। 
ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। ସେଲା 
ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି। 
ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। ସେଲା 
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର। 
ହେ ମୋʼ ପରିତ୍ରାଣର ବଳ ସ୍ୱରୂପ, ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ରକ୍ଷା କରିଅଛ। 
ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। ସେଲା 
ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ। 
ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ। 
ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ। 
ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ। 
ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ। 
